ଭୁବନେଶ୍ୱର, ୧୮/୧୧: ପୂର୍ବତନ ମନ୍ତ୍ରୀ, ବରିଷ୍ଠ ନେତା ତଥା କଟକ ପୂର୍ବତନ ବିଧାୟକ ଶ୍ରୀ ସମୀର ଦେଙ୍କ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ସ୍ୱର୍ଗତଃ ଦେ ୧୯୯୫, ୨୦୦୦, ୨୦୦୪ ମସିହାରେ କଟକ ନିର୍ବାଚନମଣ୍ଡଳୀରୁ ଲଗାତର ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେ ୨୦୦୦ରୁ ୨୦୦୪ ନଗର ଉନ୍ନୟନ ମନ୍ତ୍ରୀ ଓ ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ନିିର୍ବାହ କରିଥିଲେ । କଟକ ମହନଗରକୁ ଆଧୁନିକରଣ କରିବାରେ ତାଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା । ସେ ଜଣେ ସ୍ନେହୀ, ପରୋପକାରୀ ଓ ଦରଦୀ ମଣିଷ ଥିଲେ । ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହ ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।
ସେପରି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ମଧ୍ୟ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ ବିଷୟରେ ଜାଣି ଟୁଇଟ ବାର୍ତ୍ତା ଯୋଗେ ଦୁଃଖ ପ୍ରକାଶ କରିଛନ୍ତି । ସେଥିରେ ସେ ଉଲ୍ଲେଖ କରିଛନ୍ତି ଯେ,ସମୀର ଦେ ଦୀର୍ଘ ସମୟ ଧରି ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସେ ବାର୍ତ୍ତା ରେ ସମବେଦନା ଜଣାଇଛନ୍ତି।ସେପରି ସମୀର ଦେ ଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବଡ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି ରାଜ୍ୟ ବିଜେପି ସଭାପତି ଶ୍ରୀ ମନମୋହନ ସାମଲ କହିବା ସହ ଶୋକବ୍ୟକ୍ତ କରିଛନ୍ତି ।ସ୍ୱର୍ଗତଃ ଦେଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।